Skip to content

Indian Revised Version — Odia (2021)

୧ ପିତର 4

1ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି, 2ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର। 3ଯେଣୁ ଅଣଯିହୁଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ; 4ଏପ୍ରକାର ଉଚ୍ଛୃଙ୍ଖଳ ପନ୍ଥାରେ ତୁମ୍ଭେମାନେ ଯେ ସେମାନଙ୍କ ସହିତ ଧାବମାନ ହେଉ ନାହଁ, ଏହା ସେମାନେ ଆଶ୍ଚର୍ଯ୍ୟ ମଣି ତୁମ୍ଭମାନଙ୍କର ନିନ୍ଦା କରନ୍ତି; 5କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ସେହି ଈଶ୍ବରଙ୍କ ଛାମୁରେ ସେମାନଙ୍କୁ ହିସାବ ଦେବାକୁ ହେବ। 6କାରଣ ଏହି ଉଦ୍ଦେଶ୍ୟରେ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାରିତ ହେଲା, ଯେପରି ସେମାନେ ମନୁଷ୍ୟମାନଙ୍କ ସଦୃଶ ଶରୀରରେ ବିଚାରିତ ହେଲେ ହଁ ଈଶ୍ବରଙ୍କ ସଦୃଶ ଆତ୍ମାରେ ସଜୀବ ହେବେ। 7ମାତ୍ର ସମସ୍ତ ବିଷୟର ଅନ୍ତିମ ସମୟ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ, 8ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ। 9କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର; 10ପ୍ରତ୍ୟେକ ଜଣ ଯେଉଁପରି ଅନୁଗ୍ରହ ଦାନ ପାଇଅଛ, ସେହି ପ୍ରକାରେ ଈଶ୍ବରଙ୍କ ବହୁବିଧ ଅନୁଗ୍ରହର ଉତ୍ତମ ଭଣ୍ଡାରଘରିଆ ସ୍ୱରୂପେ ତଦ୍ୱାରା ପରସ୍ପରର ସେବା କର; 11କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ବରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍‍। 12ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ; 13ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବ। 14ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍‍, ଈଶ୍ବରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି। 15ଏଣୁ ତୁମ୍ଭମାନଙ୍କ ମଧ୍ୟରୁ କେହି ହତ୍ୟାକାରୀ କି ଚୋର, କି ଦୂରାଚାରୀ, କି ଅନଧିକାର ଚର୍ଚ୍ଚାକାରୀ ହୋଇ ଦଣ୍ଡ ଭୋଗ ନ କରୁ; 16କିନ୍ତୁ କେହି ଯଦି ଖ୍ରୀଷ୍ଟିୟାନ ହେବାରୁ ଦଣ୍ଡ ଭୋଗ କରେ, ତାହାହେଲେ ସେ ଲଜ୍ଜା ବୋଧ ନ କରୁ, ବରଂ ଏହି ନାମ ହେତୁରୁ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ। 17କାରଣ, ଈଶ୍ବରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ବରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କଅଣ ନ ହେବ! 18ପୁଣି, “ଧାର୍ମିକ ବ୍ୟକ୍ତି ଯଦି କଷ୍ଟରେ ପରିତ୍ରାଣ ପାଏ, ତେବେ ଅଧାର୍ମିକ ଓ ପାପୀ ଲୋକ କେଉଁଠାରେ ମୁହଁ ଦେଖାଇବ?” 19ଅତଏବ, ଯେଉଁମାନେ ଈଶ୍ବରଙ୍କ ଇଚ୍ଛାମତେ ଦୁଃଖଭୋଗ କରନ୍ତି, ସେମାନେ ବିଶ୍ୱସ୍ତ ସୃଷ୍ଟିକର୍ତ୍ତାଙ୍କର ହସ୍ତରେ ଆପଣା ଆପଣା ଆତ୍ମାକୁ ସମର୍ପଣ କରି ସତ୍କର୍ମରେ ନିବିଷ୍ଟ ରହନ୍ତୁ।

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.