Skip to content

Indian Revised Version — Odia (2021)

ଆଦି ପୁସ୍ତକ 29

1ଏଥିଉତ୍ତାରେ ଯାକୁବ ଯାତ୍ରାରେ ଅଗ୍ରସର ହୋଇ ପୂର୍ବଦିଗସ୍ଥ ଲୋକମାନଙ୍କ ଦେଶରେ ଉପସ୍ଥିତ ହେଲା। 2ତହୁଁ ସେ ଅନାଇଲା, ଆଉ ଦେଖ, କ୍ଷେତ୍ର ମଧ୍ୟରେ ଗୋଟିଏ କୂପ, ପୁଣି, ଦେଖ, ତହିଁ ନିକଟରେ ତିନି ପଲ ମେଷ ଶୋଇଛନ୍ତି; କାରଣ ଲୋକମାନେ ମେଷପଲକୁ ସେହି କୂପରୁ ଜଳ ପାନ କରାନ୍ତି; ସେହି କୂପ ମୁଖରେ ଖଣ୍ଡିଏ ବଡ଼ ପଥର ଘୋଡ଼ା ହୋଇଥାଏ। 3ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତାʼ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି। 4ଯାକୁବ ସେମାନଙ୍କୁ ପଚାରିଲା, “ହେ ଭାଇମାନେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ?” ସେମାନେ କହିଲେ, “ଆମ୍ଭେମାନେ ହାରଣ ନଗରର ଲୋକ।” 5ତେବେ ଯାକୁବ ପଚାରିଲା, “ତୁମ୍ଭେମାନେ ନାହୋରର ପୌତ୍ର ଲାବନଙ୍କୁ ଚିହ୍ନ କି?” ସେମାନେ କହିଲେ, “ଆମ୍ଭେମାନେ ତାକୁ ଚିହ୍ନୁ।” 6ଯାକୁବ ପଚାରିଲା, “ସେ କୁଶଳରେ ଅଛନ୍ତି ତ?” ସେମାନେ କହିଲେ, “କୁଶଳରେ ଅଛି; ଏହି ଦେଖ, ତାହାର କନ୍ୟା ରାହେଲ ମେଷପଲ ଘେନି ଆସୁଅଛି।” 7ସେତେବେଳେ ଯାକୁବ କହିଲା, “ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ।” 8ମାତ୍ର ସେମାନେ କହିଲେ, “ତାହା ଆମ୍ଭେମାନେ କରି ନ ପାରୁ; ସମସ୍ତ ପଲ ଏକତ୍ର ହେବାର ଅପେକ୍ଷା କରିବାକୁ ହୁଏ; ତହିଁ ଉତ୍ତାରେ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଯାଏ, ତାହାହେଲେ, ଆମ୍ଭେମାନେ ମେଷଗଣକୁ ଜଳ ପାନ କରାଉ।” 9ଯାକୁବ ସେମାନଙ୍କ ସହିତ ଏପ୍ରକାର କଥାବାର୍ତ୍ତା କରୁଅଛି, ଏଥିମଧ୍ୟରେ ରାହେଲ ଆପଣା ପିତାଙ୍କର ମେଷପଲ ଘେନି ଉପସ୍ଥିତ ହେଲା, କାରଣ ସେ ମେଷପାଳିକା ଥିଲା। 10ସେତେବେଳେ ଯାକୁବ ଆପଣା ମାମୁଁ ଲାବନର କନ୍ୟା ରାହେଲକୁ ଓ ମାମୁଁର ମେଷପଲକୁ ଦେଖି ନିକଟକୁ ଯାଇ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଇ ମାମୁଁ ଲାବନର ପଲକୁ ଜଳ ପାନ କରାଇଲା। 11ଏଥିଉତ୍ତାରେ ଯାକୁବ ରାହେଲକୁ ଚୁମ୍ବନ କରି ଉଚ୍ଚସ୍ୱରରେ କ୍ରନ୍ଦନ କରିବାକୁ ଲାଗିଲା। 12ପୁଣି, ଆପେ ଯେ ତାହାର ପିତାଙ୍କର କୁଟୁମ୍ବ ଓ ରିବିକାର ପୁତ୍ର, ଏହି ପରିଚୟ ଦେଲା; ତହୁଁ ରାହେଲ ଦୌଡ଼ିଯାଇ ଆପଣା ପିତାକୁ ସମାଚାର ଦେଲା। 13ତହିଁରେ ଲାବନ ଆପଣା ଭଣଜା ଯାକୁବର ସମାଚାର ପାଇ ତାହା ସଙ୍ଗେ ସାକ୍ଷାତ କରିବାକୁ ଦୌଡ଼ିଗଲା, ପୁଣି, ତାହାକୁ ଆଲିଙ୍ଗନ ଓ ଚୁମ୍ବନ କରି ଆପଣା ଗୃହକୁ ନେଇଗଲା; ତହୁଁ ସେ ସମସ୍ତ ବିବରଣ ଲାବନକୁ ଜଣାଇଲା। 14ତହିଁରେ ଲାବନ କହିଲା, “ତୁମ୍ଭେ ନିତାନ୍ତ ଆମ୍ଭର ଅସ୍ଥି ଓ ମାଂସ ସ୍ୱରୂପ।” ତେଣୁ ଯାକୁବ ତାହାର ଗୃହରେ ମାସେ କାଳ ବାସ କଲା। 15ଏଥିଉତ୍ତାରେ ଲାବନ ଯାକୁବଙ୍କୁ କହିଲା, “ତୁମ୍ଭେ ମୋହର କୁଟୁମ୍ବ ବୋଲି କି ବିନା ବେତନରେ ମୋହର ଦାସ୍ୟକର୍ମ କରିବ? ଏଣୁ କି ବେତନ ନେବ? ତାହା କୁହ।” 16ସେହି ଲାବନର ଦୁଇ କନ୍ୟା ଥିଲେ; ଜ୍ୟେଷ୍ଠାର ନାମ ଲେୟା, କନିଷ୍ଠାର ନାମ ରାହେଲ। 17ଲେୟା କ୍ଷୀଣାକ୍ଷୀ, ମାତ୍ର ରାହେଲ ସୁନ୍ଦରୀ ଓ ରୂପବତୀ ଥିଲା। 18ଆଉ ଯାକୁବ ରାହେଲକୁ ପ୍ରେମ କଲା; ଏଥିନିମିତ୍ତ ସେ ଉତ୍ତର କଲା, “ତୁମ୍ଭର କନିଷ୍ଠା କନ୍ୟା ରାହେଲ ନିମନ୍ତେ ମୁଁ ସାତ ବର୍ଷ ତୁମ୍ଭର ଦାସ୍ୟକର୍ମ କରିବି।” 19ତହିଁରେ ଲାବନ କହିଲା, “ଅନ୍ୟ ପୁରୁଷକୁ ଦାନ କରିବା ଅପେକ୍ଷା ତୁମ୍ଭକୁ ଦାନ କରିବା ଅଧିକ ଉତ୍ତମ; ମୋʼ ନିକଟରେ ଥାଅ।” 20ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି, ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା। 21ଏଥିଉତ୍ତାରେ ଯାକୁବ ଲାବନକୁ କହିଲା, “ମୋହର ନିୟମିତ କାଳ ସମ୍ପୂର୍ଣ୍ଣ ହେଲା, ଏବେ ମୋʼ ଭାର୍ଯ୍ୟା ମୋତେ ଦିଅ, ମୁଁ ତାହାର ସହବାସ କରିବି।” 22ତହିଁରେ ଲାବନ ସେହି ସ୍ଥାନର ସମସ୍ତ ଲୋକଙ୍କୁ ଏକତ୍ର କରି ଭୋଜ ପ୍ରସ୍ତୁତ କଲା। 23ସନ୍ଧ୍ୟାକାଳରେ ସେ ଆପଣା କନ୍ୟା ଲେୟାକୁ ଘେନି ଯାକୁବ ନିକଟକୁ ଆଣିଲା; ପୁଣି, ସେ ତାହାର ସହବାସ କଲା। 24ଆଉ ଲାବନ ଆପଣା କନ୍ୟା ଲେୟାର ଦାସୀ ହେବା ନିମନ୍ତେ ସିଳ୍ପା ନାମ୍ନୀ ଆପଣା ଦାସୀକୁ ଦେଲା। 25ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା! ତହୁଁ ଯାକୁବ ଲାବନଙ୍କୁ କହିଲା, “ତୁମ୍ଭେ ମୋʼ ସହିତ ଏ କି ବ୍ୟବହାର କରିଅଛ? ମୁଁ କʼଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କାହିଁକି ମୋତେ ପ୍ରବଞ୍ଚନା କରିଅଛ?” 26ତହିଁରେ ଲାବନ କହିଲା, “ଜ୍ୟେଷ୍ଠା ଥାଉ ଥାଉ କନିଷ୍ଠାକୁ ଦାନ କରିବା ଆମ୍ଭମାନଙ୍କ ଦେଶାଚାର ନୁହେଁ। 27ଏହାର ସପ୍ତାହ ପୂର୍ଣ୍ଣ କର, ତହିଁ ଉତ୍ତାରେ ଯଦି ଆଉ ସାତ ବର୍ଷ ମୋହର ଦାସ୍ୟକର୍ମ କରିବ, ତେବେ ଅନ୍ୟ କନ୍ୟାକୁ ହିଁ ତୁମ୍ଭକୁ ଦାନ କରିବି।” 28ତହିଁରେ ଯାକୁବ ସେହି ପ୍ରକାରେ ତାହାର ସପ୍ତାହ ପୂର୍ଣ୍ଣ କଲା; ତହୁଁ ଲାବନ ତାହା ସହିତ ଆପଣା କନ୍ୟା ରାହେଲକୁ ବିବାହ କରିଦେଲା। 29ପୁଣି, ରାହେଲର ଦାସୀ ହେବା ନିମନ୍ତେ ସେ ଆପଣାର ବିଲ୍‌ହା ନାମ୍ନୀ ଦାସୀକୁ ଦେଲା। 30ତହୁଁ ସେ ରାହେଲର ମଧ୍ୟ ସହବାସ କଲା ଓ ଲେୟାଠାରୁ ରାହେଲକୁ ଅଧିକ ପ୍ରେମ କଲା; ପୁଣି, ଆଉ ସାତ ବର୍ଷ ଲାବନର ଦାସ୍ୟକର୍ମ କଲା। 31ଏଥିଉତ୍ତାରେ ସଦାପ୍ରଭୁ ଲେୟାକୁ ଅପମାନିତା ଦେଖି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ; ମାତ୍ର ରାହେଲ ବନ୍ଧ୍ୟା ହେଲା। 32ଏଥିପାଇଁ ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍‍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, “ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋʼ ସ୍ୱାମୀ ମୋତେ ଭଲ ପାଇବେ।” 33ଆଉ, ସେ ପୁନର୍ବାର ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ମୁଁ ଅପମାନିତା ଅଟେ, ଏହା ସଦାପ୍ରଭୁ ଶ୍ରବଣ କରି ମୋତେ ଏହି ପୁତ୍ର ଦେଲେ,” ଏଣୁ ସେ ତାହାର ନାମ ଶିମୀୟୋନ (ଶ୍ରବଣ) ଦେଲା। 34ପୁନର୍ବାର ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ଏଥର ସ୍ୱାମୀ ମୋʼ ଠାରେ ଆସକ୍ତ ହେବେ, ଯେହେତୁ ମୁଁ ତାଙ୍କର ତିନି ପୁତ୍ର ପ୍ରସବ କରିଅଛି,” ଏହେତୁ ତାହାର ନାମ ଲେବୀ (ଆସକ୍ତ) ଦେଲା। 35ଏଥିଉତ୍ତାରେ ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, “ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି,” ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା। ଏଥିଉତ୍ତାରେ ତାହାର ଗର୍ଭନିବୃତ୍ତି ହେଲା।

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.