Skip to content

Indian Revised Version — Odia (2021)

ଯୋହନ 18

1ଯୀଶୁ ଏହିସବୁ କଥା କହି ଆପଣା ଶିଷ୍ୟମାନଙ୍କ ସହିତ କିଦ୍ରୋଣ ଜୋଡ଼ର ଆରପାଖକୁ ବାହାରିଗଲେ। ସେଠାରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେ ଓ ତାହାଙ୍କ ଶିଷ୍ୟମାନେ ସେଥିରେ ପ୍ରବେଶ କଲେ। 2ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେହି ସ୍ଥାନ ଜାଣିଥିଲା, କାରଣ ଯୀଶୁ ଅନେକ ଥର ଆପଣା ଶିଷ୍ୟମାନଙ୍କ ସହିତ ସେ ସ୍ଥାନକୁ ଯାଉଥିଲେ। 3ଅତଏବ, ଯିହୂଦା ସୈନ୍ୟଦଳ ପୁଣି, ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କଠାରୁ ପ୍ରାପ୍ତ ପଦାତିକମାନଙ୍କୁ ଘେନି ବତୀ, ମଶାଲ ଓ ଅସ୍ତ୍ରଶସ୍ତ୍ର ଧରି ସେଠାକୁ ଆସିଲା। 4ସେଥିରେ ଯୀଶୁ, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହିସବୁ ଜାଣି ଆଗକୁ ଯାଇ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ କାହାକୁ ଖୋଜୁଅଛ?” 5ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାଜରିତୀୟ ଯୀଶୁକୁ। ସେ ସେମାନଙ୍କୁ କହିଲେ, “ମୁଁ ସେହି।” ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇଥିଲା। 6ଯୀଶୁ ଯେତେବେଳେ ସେମାନଙ୍କୁ କହିଲେ, ମୁଁ ସେହି, ସେତେବେଳେ ସେମାନେ ପଛକୁ ହଟିଯାଇ ଭୂମିରେ ପଡ଼ିଗଲେ। 7ସେଥିରେ ସେ ସେମାନଙ୍କୁ ଆଉ ଥରେ ପଚାରିଲେ, “ତୁମ୍ଭେମାନେ କାହାକୁ ଖୋଜୁଅଛ?” ସେମାନେ କହିଲେ, ନାଜରିତୀୟ ଯୀଶୁଙ୍କୁ। 8ଯୀଶୁ ଉତ୍ତର ଦେଲେ, “ମୁଁ ଯେ ସେହି, ଏହା ତ ମୁଁ ତୁମ୍ଭମାନଙ୍କୁ କହିଲି। ଏଣୁ ଯଦି ତୁମ୍ଭେମାନେ ମୋତେ ଖୋଜୁଅଛ, ତାହାହେଲେ ଏମାନଙ୍କୁ ଯିବା ପାଇଁ ଛାଡ଼ିଦିଅ।” 9ସେ ଏହା କହିଲେ, ଯେପରି ତାହାଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, “ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ମଧ୍ୟରୁ ମୁଁ ଜଣକୁ ସୁଦ୍ଧା ହରାଇ ନାହିଁ।” 10ଶିମୋନ ପିତରଙ୍କ ପାଖରେ ଖଣ୍ଡା ଥିବାରୁ ସେ ତାହା ବାହାର କରି ମହାଯାଜକଙ୍କ ଦାସକୁ ଆଘାତ କଲେ ଓ ତାହାର ଡାହାଣ କାନ କାଟିପକାଇଲେ; ସେହି ଦାସର ନାମ ମାଲ୍‍ଖ। 11ସେଥିରେ ଯୀଶୁ ପିତରଙ୍କୁ କହିଲେ, “ଖଣ୍ଡା ଖାପରେ ରଖ; ପିତା ମୋତେ ଯେଉଁ ପାତ୍ର ଦେଇଅଛନ୍ତି, ମୁଁ କଅଣ ସେଥିରୁ ପାନ କରିବି ନାହିଁ?” 12ଏହାପରେ ସୈନ୍ୟଦଳ, ପ୍ରଧାନ ସେନାପତି, ପୁଣି, ଯିହୁଦୀମାନଙ୍କର ପଦାତିକମାନେ ଯୀଶୁଙ୍କୁ ଧରିଲେ 13ଓ ତାହାଙ୍କୁ ବାନ୍ଧି ପ୍ରଥମେ ହାନାନଙ୍କ ନିକଟକୁ ଘେନିଗଲେ, କାରଣ ସେ ସେହି ବର୍ଷର ମହାଯାଜକ କୟାଫାଙ୍କର ଶ୍ୱଶୁର ଥିଲେ। 14ଲୋକସାଧାରଣଙ୍କ ନିମନ୍ତେ ଜଣେ ମରିବା ମଙ୍ଗଳଜନକ ବୋଲି ଯିହୁଦୀମାନଙ୍କୁ ଯେ ପରାମର୍ଶ ଦେଇଥିଲେ, ଏ ସେହି କୟାଫା। 15ଶିମୋନ ପିତର ଓ ଆଉ ଜଣେ ଶିଷ୍ୟ ଯୀଶୁଙ୍କ ପଛେ ପଛେ ଯାଉଥିଲେ। ସେହି ଶିଷ୍ୟ ମହାଯାଜକଙ୍କର ପରିଚିତ ଥିଲେ ଓ ଯୀଶୁଙ୍କ ସହିତ ମହାଯାଜକଙ୍କ ପ୍ରାଙ୍ଗଣରେ ପ୍ରବେଶ କଲେ; 16କିନ୍ତୁ ପିତର ବାହାରେ ଦ୍ୱାର ନିକଟରେ ଠିଆ ହୋଇ ରହିଲେ। ଅତଏବ, ସେହି ଯେଉଁ ଅନ୍ୟ ଶିଷ୍ୟ ମହାଯାଜକଙ୍କ ପରିଚିତ ଥିଲେ, ସେ ବାହାରକୁ ଯାଇ ଦ୍ୱାରରକ୍ଷିକାକୁ କହି ପିତରଙ୍କୁ ଭିତରକୁ ଆଣିଲେ। 17ସେଥିରେ ସେହି ଦ୍ୱାରରକ୍ଷିକା ଦାସୀ ପିତରଙ୍କୁ କହିଲା, ତୁମ୍ଭେ ମଧ୍ୟ କଅଣ ଏହି ଲୋକର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ କହିଲେ, ମୁଁ ନୁହେଁ। 18ଶୀତ ହେତୁ ଦାସ ଓ ପଦାତିକମାନେ ଅଙ୍ଗାର ଜାଳି ସେଠାରେ ଠିଆ ହୋଇ ନିଆଁ ପୋଉଁଥିଲେ; ପିତର ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇ ନିଆଁ ପୋଉଁଥିଲେ। 19ଇତିମଧ୍ୟରେ ମହାଯାଜକ ଯୀଶୁଙ୍କୁ ତାହାଙ୍କ ଶିଷ୍ୟମାନଙ୍କ ବିଷୟରେ ଓ ତାହାଙ୍କ ଶିକ୍ଷା ସମ୍ବନ୍ଧରେ ପଚାରିଲେ। 20ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ଜଗତ ନିକଟରେ ପ୍ରକାଶରେ କଥା କହିଅଛି; ଯେଉଁଠାରେ ସମସ୍ତ ଯିହୁଦୀ ଏକତ୍ର ହୁଅନ୍ତି, ଏପରି ସମାଜଗୃହ ଓ ମନ୍ଦିରରେ ମୁଁ ସର୍ବଦା ଶିକ୍ଷା ଦେଇଅଛି; ମୁଁ ଗୋପନରେ କିଛି କହି ନାହିଁ। 21ମୋତେ କାହିଁକି ପଚାରୁଅଛନ୍ତି? ମୁଁ ସେମାନଙ୍କୁ କଅଣ କହିଅଛି, ଯେଉଁମାନେ ଶୁଣିଅଛନ୍ତି, ସେମାନଙ୍କୁ ପଚାରନ୍ତୁ; ଦେଖନ୍ତୁ, ମୁଁ ଯାହା ଯାହା କହିଅଛି, ସେମାନେ ସେହିସବୁ ଜାଣନ୍ତି।” 22ସେ ଏହା କହିବାରୁ ପଦାତିକମାନଙ୍କ ମଧ୍ୟରୁ ପାଖରେ ଠିଆ ହୋଇଥିବା ଜଣେ ଯୀଶୁଙ୍କୁ ଚାପୁଡ଼ା ମାରି କହିଲା, ତୁ ମହାଯାଜକଙ୍କୁ ଏପରି ଉତ୍ତର ଦେଉଅଛୁ? 23ଯୀଶୁ ତାହାକୁ ଉତ୍ତର ଦେଲେ, “ଯଦି ମୁଁ ମନ୍ଦ କହିଲି, ତାହାହେଲେ ମନ୍ଦର ପ୍ରମାଣ ଦିଅ; କିନ୍ତୁ ଯଦି ଭଲ କହିଲି, ତାହାହେଲେ କାହିଁକି ମୋତେ ମାରୁଅଛ?” 24ସେଥିରେ ହାନାନ ତାହାଙ୍କୁ ବନ୍ଧା ହୋଇଥିବା ଅବସ୍ଥାରେ ମହାଯାଜକ କୟାଫାଙ୍କ ନିକଟକୁ ପଠାଇଦେଲେ। 25ଇତିମଧ୍ୟରେ ଶିମୋନ ପିତର ଠିଆ ହୋଇ ନିଆଁ ପୋଉଁଥିଲେ। ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ ମଧ୍ୟ କଅଣ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ ଅସ୍ୱୀକାର କରି କହିଲେ, ମୁଁ ନୁହେଁ। 26ମହାଯାଜକଙ୍କ ଦାସମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍‍ ପିତର ଯାହାର କାନ କାଟିପକାଇଥିଲେ, ତାହାର ଜଣେ ଆତ୍ମୀୟ କହିଲା, ମୁଁ କଅଣ ତୋତେ ତାହାଙ୍କ ସାଙ୍ଗରେ ବଗିଚାରେ ଦେଖି ନ ଥିଲି? 27ସେଥିରେ ପିତର ପୁନର୍ବାର ଅସ୍ୱୀକାର କଲେ; ଆଉ, ସେହିକ୍ଷଣି କୁକୁଡ଼ା ଡାକିଲା। 28ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରିପାରନ୍ତି, ଏଥିନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ। 29ଅତଏବ, ପୀଲାତ ସେମାନଙ୍କ ନିକଟକୁ ବାହାରି ଆସି ପଚାରିଲେ, ଏ ଲୋକ ବିରୁଦ୍ଧରେ ତୁମ୍ଭେମାନେ କେଉଁ ଅଭିଯୋଗ ଆଣୁଅଛ? 30ସେମାନେ ତାହାଙ୍କୁ ଉତ୍ତର ଦେଲେ, ଏ ଲୋକଟା ଯଦି ଦୁଷ୍କର୍ମକାରୀ ହୋଇ ନ ଥାଆନ୍ତା, ତାହାହେଲେ ଆମ୍ଭେମାନେ ତାହାକୁ ଆପଣଙ୍କ ହସ୍ତରେ ସମର୍ପଣ କରି ନ ଥାଆନ୍ତୁ। 31ସେଥିରେ ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ଏହାକୁ ଘେନିଯାଇ ତୁମ୍ଭମାନଙ୍କ ବ୍ୟବସ୍ଥାନୁସାରେ ଏହାର ବିଚାର କର। କେତେକ ଯିହୁଦୀ ନେତାମାନେ ତାହାଙ୍କୁ କହିଲେ, କାହାକୁ ପ୍ରାଣଦଣ୍ଡ ଦେବା ଆମ୍ଭମାନଙ୍କର ଅଧିକାର ନାହିଁ। 32ଯୀଶୁ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ସେ ଯେଉଁ ବାକ୍ୟ କହିଥିଲେ, ତାହା ଯେପରି ସଫଳ ହୁଏ, ଏଥିନିମନ୍ତେ ସେମାନେ ଏହା କହିଲେ। 33ଅତଏବ, ପୀଲାତ ପୁନର୍ବାର ପ୍ରାସାଦ ମଧ୍ୟରେ ପ୍ରବେଶ କରି ଯୀଶୁଙ୍କୁ ଡାକି ତାହାଙ୍କୁ ପଚାରିଲେ, ତୁମ୍ଭେ କଅଣ ଯିହୁଦୀମାନଙ୍କର ରାଜା? 34ଯୀଶୁ ଉତ୍ତର ଦେଲେ, “ଆପଣ କଅଣ ନିଜରୁ ଏହା କହୁଅଛନ୍ତି, ନା ଅନ୍ୟମାନେ ମୋʼ ସମ୍ବନ୍ଧରେ ଆପଣଙ୍କୁ ଏହା କହିଅଛନ୍ତି?” 35ପୀଲାତ ଉତ୍ତର ଦେଲେ, ଆମ୍ଭେ କଅଣ ଜଣେ ଯିହୁଦୀ? ତୁମ୍ଭର ସ୍ୱଜାତି ଓ ପ୍ରଧାନ ଯାଜକମାନେ ତୁମ୍ଭକୁ ଆମ୍ଭ ହସ୍ତରେ ସମର୍ପଣ କରିଅଛନ୍ତି; ତୁମ୍ଭେ କଅଣ କରିଅଛ? 36ଯୀଶୁ ଉତ୍ତର ଦେଲେ, “ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ନୁହେଁ; ଯଦି ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ହୋଇଥାଆନ୍ତା, ତାହାହେଲେ ମୁଁ ଯେପରି ଯିହୁଦୀମାନଙ୍କ ହସ୍ତରେ ସମର୍ପିତ ନ ହୁଅନ୍ତି, ସେଥିପାଇଁ ମୋହର ପରିଚାରକମାନେ ଯୁଦ୍ଧ କରନ୍ତେ; କିନ୍ତୁ ମୋହର ରାଜ୍ୟ ପ୍ରକୃତରେ ତତ୍‍ସମ୍ବନ୍ଧୀୟ ନୁହେଁ।” 37ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କଅଣ ଜଣେ ରାଜା ନୁହଁ? ଯୀଶୁ ଉତ୍ତର ଦେଲେ, “ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା। ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥିନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି। ଯେ କେହି ସତ୍ୟର ସନ୍ତାନ, ସେ ମୋହର କଥା ଶୁଣେ।” 38ପୀଲାତ ତାହାଙ୍କୁ କହିଲେ, ସତ୍ୟ କଅଣ? ଏହା କହି ସେ ପୁଣି, ଯିହୁଦୀମାନଙ୍କ ନିକଟକୁ ବାହାରକୁ ଯାଇ ସେମାନଙ୍କୁ କହିଲେ, ଆମ୍ଭେ ଏହାଠାରେ କୌଣସି ଦୋଷ ପାଉ ନାହୁଁ। 39କିନ୍ତୁ ଆମେ ଯେ ନିସ୍ତାର ପର୍ବ ସମୟରେ ତୁମ୍ଭମାନଙ୍କ ନିମନ୍ତେ ଜଣକୁ ମୁକ୍ତ କରିଦେଉ, ଏହା ତୁମ୍ଭମାନଙ୍କ ରୀତି ଅଛି; ଅତଏବ, ଯିହୁଦୀମାନଙ୍କ ରାଜାଙ୍କୁ ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ମୁକ୍ତ କରିଦେବୁ ବୋଲି କଅଣ ତୁମ୍ଭମାନଙ୍କର ଇଚ୍ଛା? 40ସେଥିରେ ସେମାନେ ପୁନର୍ବାର ଚିତ୍କାର କରି କହିଲେ, ଏ ଲୋକଟାକୁ ନୁହେଁ, କିନ୍ତୁ ବାରବ୍ବାକୁ। ଏହି ବାରବ୍ବା ଜଣେ ଡକାଇତ ଥିଲା।

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.