Indian Revised Version — Odia (2021)
ଲୂକ 2
1ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା। 2ସିରିୟା ପ୍ରଦେଶର ଶାସନକର୍ତ୍ତା କ୍ୱିରୀଣୀୟଙ୍କ ସମୟରେ ପ୍ରଥମ ଥର ଏହି ଜନଗଣନା ହୋଇଥିଲା। 3ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ। 4ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରୀୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦିୟା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ; 5ତାହାଙ୍କ ସହିତ ମରୀୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ। 6ସେମାନେ ସେହି ସ୍ଥାନରେ ଥିବା ସମୟରେ ତାହାଙ୍କ ପ୍ରସବ କାଳ ଉପସ୍ଥିତ ହେଲା, 7ପୁଣି, ସେ ଆପଣା ପ୍ରଥମଜାତ ପୁତ୍ର ପ୍ରସବ କଲେ ଏବଂ ତାହାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳକୁଣ୍ଡରେ ଶୁଆଇଲେ, କାରଣ ବସାଘରେ ସେମାନଙ୍କ ପାଇଁ ସ୍ଥାନ ନ ଥିଲା। 8ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ। 9ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ। 10ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି, 11କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ। 12ଆଉ ତୁମ୍ଭମାନଙ୍କ ନିମନ୍ତେ ଏହା ଚିହ୍ନସ୍ୱରୂପ ହେବ, ତୁମ୍ଭେମାନେ ଜଣେ ଶିଶୁଙ୍କୁ ଲୁଗାରେ ଗୁଡ଼ା ହୋଇ ଗୁହାଳକୁଣ୍ଡରେ ଶୋଇଥିବାର ଦେଖିବ। 13ପୁଣି, ହଠାତ୍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ, 14“ଊର୍ଦ୍ଧ୍ୱଲୋକରେ ଈଶ୍ବରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।” 15ଦୂତମାନେ ସେମାନଙ୍କଠାରୁ ସ୍ୱର୍ଗକୁ ଫେରିଗଲା ପରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ, ଆସ, ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ, ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ, ତାହା ଦେଖିବା। 16ଏଥିରେ ସେମାନେ ଶୀଘ୍ର ଯାଇ, ଅନ୍ୱେଷଣ କରି, ମରୀୟମ ଓ ଯୋଷେଫଙ୍କୁ, ପୁଣି, ଗୁହାଳକୁଣ୍ଡରେ ଶିଶୁଙ୍କୁ ଶୋଇଥିବା ଦେଖିଲେ। 17ସେମାନେ ଏହା ଦେଖି ସେହି ଶିଶୁଙ୍କ ବିଷୟରେ ସେମାନଙ୍କୁ ଯେଉଁ କଥା କୁହାଯାଇଥିଲା, ତାହା ପ୍ରକାଶ କଲେ, 18ପୁଣି, ଯେତେ ଲୋକ ମେଷପାଳକମାନଙ୍କ ଠାରୁ ସେହିସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେହି କଥାରେ ଚମତ୍କୃତ ହେଲେ। 19କିନ୍ତୁ ମରୀୟମ ଏହି ସମସ୍ତ କଥା ହୃଦୟରେ ରଖି ଭାବିବାକୁ ଲାଗିଲେ। 20ଆଉ, ମେଷପାଳକମାନଙ୍କୁ ଯେପରି କୁହାଯାଇଥିଲା, ସେହିପରି ସେମାନେ ଯାହା ଯାହା ଶୁଣିଲେ ଓ ଦେଖିଲେ, ସେ ସମସ୍ତ ସକାଶେ ଈଶ୍ବରଙ୍କ ଗୌରବ ଓ ପ୍ରଶଂସା କରୁ କରୁ ଫେରିଗଲେ। 21ତାହାଙ୍କୁ ସୁନ୍ନତ କରିବା ନିମନ୍ତେ ଆଠ ଦିନ ହେବାରୁ, ତାହାଙ୍କର ନାମ ଯୀଶୁ ଦିଆଗଲା; ଏହି ନାମ ତାହାଙ୍କ ଗର୍ଭାସ୍ଥ ହେବା ପୂର୍ବରୁ ଦୂତଙ୍କ ଦ୍ୱାରା ଦିଆଯାଇଥିଲା। 22ପରେ ଯେତେବେଳେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ମରୀୟମଙ୍କ ଶୁଚି ହେବା ସମୟ ପୂର୍ଣ୍ଣ ହେଲା, 23ସେତେବେଳେ ପ୍ରତ୍ୟେକ ପ୍ରଥମଜାତ ପୁତ୍ରସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବୋଲି ଗଣିତ ହେବେ, 24ପ୍ରଭୁଙ୍କ ବ୍ୟବସ୍ଥାରେ ଲିଖିତ ଏହି ଆଜ୍ଞାନୁସାରେ ସେମାନେ ତାହାଙ୍କୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ନିମନ୍ତେ ଓ ପ୍ରଭୁଙ୍କ ବ୍ୟବସ୍ଥାରେ ଲେଖାଯାଇଥିବା ଅନୁସାରେ ଦୁଇଟି ଘୁଘୁ ବା ଦୁଇଟି କାପ୍ତାଛୁଆ ବଳିଦାନ କରିବା ସକାଶେ ତାହାଙ୍କୁ ଯିରୂଶାଲମ ସହରକୁ ନେଇଗଲେ। 25ଆଉ ଦେଖ, ଯିରୂଶାଲମ ସହରରେ ଶିମିୟୋନ ନାମକ ଜଣେ ଧାର୍ମିକ ଓ ଭକ୍ତ ବ୍ୟକ୍ତି ଥିଲେ; ସେ ଇସ୍ରାଏଲର ସାନ୍ତ୍ୱନା ଅପେକ୍ଷା କରୁଥିଲେ, ପୁଣି, ପବିତ୍ର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିଥିଲେ। 26ପ୍ରଭୁ ଖ୍ରୀଷ୍ଟଙ୍କର ଦର୍ଶନ ନ ପାଇଲେ ତାହାଙ୍କର ଯେ ମୃତ୍ୟୁ ହେବ ନାହିଁ, ପବିତ୍ର ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ଏହି ପ୍ରତ୍ୟାଦେଶ ଦିଆଯାଇଥିଲା। 27ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ ମନ୍ଦିରକୁ ଆସିଲେ, ପୁଣି, ଶିଶୁ ଯୀଶୁଙ୍କ ପିତାମାତା ଯେତେବେଳେ ତାହାଙ୍କ ବିଷୟରେ ମୋଶାଙ୍କ ବ୍ୟବସ୍ଥାର ନିୟମ ଅନୁଯାୟୀ କର୍ମ କରିବା ନିମନ୍ତେ ତାହାଙ୍କୁ ଭିତରକୁ ଆଣିଲେ, 28ସେତେବେଳେ ସେ ତାହାଙ୍କୁ କୋଳରେ ଘେନି ଈଶ୍ବରଙ୍କ ପ୍ରଶଂସା କରି କହିଲେ, 29“ହେ ପ୍ରଭୁ, ଏବେ ତୁମ୍ଭେ ଆପଣା ବାକ୍ୟ ଅନୁସାରେ ନିଜ ଦାସକୁ ଶାନ୍ତିରେ ଯିବାକୁ ଦେଉଅଛ; 30କାରଣ ମୋହର ଚକ୍ଷୁ ତୁମ୍ଭର ପରିତ୍ରାଣ ଦେଖିଅଛି, 31ଯାହା ତୁମ୍ଭେ ସମସ୍ତ ଲୋକମାନଙ୍କ ସମ୍ମୁଖରେ ପ୍ରସ୍ତୁତ କରି, 32ଅଣଯିହୁଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୂପ କରିଅଛ।” 33ତାହାଙ୍କ ସମ୍ବନ୍ଧୀୟ କୁହାଯାଇଥିବା ସମସ୍ତ ବିଷୟରେ ତାହାଙ୍କ ପିତାମାତା ଚମତ୍କୃତ ହେଉଥିଲେ। 34ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରୀୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ, 35ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି, ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ୍ଗ ବିଦ୍ଧ କରିବ। 36ଆଉ ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ; ସେ ଆଶେର ବଂଶଜ ଫିନୂୟେଲଙ୍କ କନ୍ୟା। ତାହାଙ୍କର ଅନେକ ବୟସ ହୋଇଥିଲା; ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ୱାମୀଙ୍କ ସହିତ ବାସ କରିଥିଲେ ଓ ଚଊରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ। 37ସେ ମନ୍ଦିର ନ ଛାଡ଼ି ଉପବାସ ଓ ନିବେଦନ ସହ ଦିନରାତି ଉପାସନା କରୁଥିଲେ। 38ସେହି ଦଣ୍ଡରେ ସେ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ ଯିରୂଶାଲମ ସହରର ମୁକ୍ତି ଅପେକ୍ଷାରେ ଥିବା ସମସ୍ତଙ୍କୁ ତାହାଙ୍କ ବିଷୟ କହିବାକୁ ଲାଗିଲେ। 39ପରେ ସେମାନେ ପ୍ରଭୁଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କାର୍ଯ୍ୟ ସମାପ୍ତ କରି ଗାଲିଲୀକୁ, ନିଜ ନଗର ନାଜରିତକୁ ଫେରିଗଲେ। 40ଆଉ, ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ, ପୁଣି, ଈଶ୍ବରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା। 41ତାହାଙ୍କ ପିତାମାତା ପ୍ରତିବର୍ଷ ନିସ୍ତାର ପର୍ବ ସମୟରେ ଯିରୂଶାଲମ ସହରକୁ ଯାଉଥିଲେ। 42ତାହାଙ୍କର ବାର ବର୍ଷ ସମୟରେ ସେମାନେ ପର୍ବର ରୀତି ଅନୁସାରେ ସେଠାକୁ ଯାତ୍ରା କଲେ। 43ପର୍ବର ସମୟ ସମାପ୍ତ କରି ଯେତେବେଳେ ସେମାନେ ଫେରିଆସୁଥିଲେ, ସେତେବେଳେ ବାଳକ ଯୀଶୁ ଯିରୂଶାଲମ ସହରରେ ରହିଗଲେ, ଆଉ ତାହାଙ୍କ ପିତାମାତା ତାହା ଜାଣି ନ ଥିଲେ। 44କିନ୍ତୁ ସେ ସହଯାତ୍ରୀମାନଙ୍କ ସଙ୍ଗରେ ଅଛନ୍ତି ବୋଲି ମନେ କରି ସେମାନେ ଦିନକର ବାଟ ଚାଲିଗଲେ, ପୁଣି, ସମ୍ପର୍କୀୟ ଓ ପରିଚିତ ଲୋକଙ୍କ ମଧ୍ୟରେ ତାହାଙ୍କୁ ଖୋଜିବାକୁ ଲାଗିଲେ, 45ଆଉ ତାହାଙ୍କୁ ନ ପାଇ ଖୋଜୁ ଖୋଜୁ ଯିରୂଶାଲମ ସହରକୁ ଫେରିଗଲେ। 46ତିନି ଦିନ ପରେ ସେମାନେ ତାହାଙ୍କୁ ମନ୍ଦିରରେ ପାଇଲେ; ସେ ପଣ୍ଡିତମାନଙ୍କ ମଧ୍ୟରେ ବସି ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ପଚାରୁଥିଲେ, 47ଆଉ ଯେତେ ଲୋକ ତାହାଙ୍କ କଥା ଶୁଣୁଥିଲେ, ସମସ୍ତେ ତାହାଙ୍କ ବୁଦ୍ଧି ଓ ଉତ୍ତରରେ ଆଚମ୍ଭିତ ହେଉଥିଲେ। 48ସେମାନେ ତାହାଙ୍କୁ ଦେଖି ଆଶ୍ଚର୍ଯ୍ୟାନ୍ୱିତ ହେଲେ, ଆଉ ତାହାଙ୍କର ମାତା ତାହାଙ୍କୁ କହିଲେ, ପୁଅରେ, ଆମ୍ଭମାନଙ୍କ ପ୍ରତି କାହିଁକି ଏପରି ବ୍ୟବହାର କଲୁ? ଦେଖ୍, ତୋର ବାପା ଓ ମୁଁ ଅତିଶୟ ବ୍ୟାକୁଳ ହୋଇ ତୋତେ ଖୋଜୁଥିଲୁ। 49ଏଥିରେ ସେ ସେମାନଙ୍କୁ କହିଲେ, “କାହିଁକି ତୁମ୍ଭେମାନେ ମୋତେ ଖୋଜୁଥିଲ? ମୋହର ପିତାଙ୍କ ଗୃହରେ ରହିବା ଯେ ମୋହର କର୍ତ୍ତବ୍ୟ, ଏହା କଅଣ ଜାଣି ନ ଥିଲ?” 50କିନ୍ତୁ ସେ ସେମାନଙ୍କୁ ଯେଉଁ କଥା କହିଲେ, ତାହା ସେମାନେ ବୁଝିଲେ ନାହିଁ। 51ପରେ ସେ ସେମାନଙ୍କ ସାଙ୍ଗରେ ଫେରି ନାଜରିତକୁ ଆସିଲେ ଓ ସେମାନଙ୍କ ବାଧ୍ୟ ହୋଇ ରହିଲେ; ପୁଣି, ତାହାଙ୍କ ମାତା ଏହି ସମସ୍ତ କଥା ସାବଧାନ ରୂପେ ଆପଣା ହୃଦୟରେ ରଖିଲେ। 52ଆଉ, ଯୀଶୁ ଜ୍ଞାନରେ ଓ ଶରୀରରେ, ପୁଣି, ଈଶ୍ବରଙ୍କ ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବୃଦ୍ଧି ପାଇଲେ।
This chapter is not in this version.
Keep going
In the life of Jesus 4 events in this chapter
- v1–7 9. Jesus is born in Bethlehem Only in ଲୂକ
- v8–20 10. Shepherds visit Jesus Only in ଲୂକ
- v21–40 11. Mary and Joseph bring Jesus to the temple Only in ଲୂକ
- v41–52 15. Jesus speaks with the religious teachers Only in ଲୂକ
Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..