Skip to content

Indian Revised Version — Odia (2021)

ମାର୍କ 15

1ପ୍ରଭାତ ହେବାମାତ୍ରେ ସମସ୍ତେ ମହାସଭା, ଅର୍ଥାତ୍‍ ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କ ସହିତ ପ୍ରଧାନ ଯାଜକମାନେ ସଭା କରି ଯୀଶୁଙ୍କୁ ବାନ୍ଧି ଘେନିଯାଇ ପୀଲାତଙ୍କ ହସ୍ତରେ ସମର୍ପଣ କଲେ। 2ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାହାଙ୍କୁ ଉତ୍ତର ଦେଲେ, “ଆପଣ କହୁଅଛନ୍ତି।” 3ଆଉ ପ୍ରଧାନ ଯାଜକମାନେ ଯୀଶୁଙ୍କ ବିରୁଦ୍ଧରେ ଅନେକ ଅଭିଯୋଗ କରିବାକୁ ଲାଗିଲେ। 4ସେଥିରେ ପୀଲାତ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ? ଦେଖ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ଅଭିଯୋଗ କରୁଅଛନ୍ତି। 5କିନ୍ତୁ ଯୀଶୁ ଆଉ କୌଣସି ଉତ୍ତର ଦେଲେ ନାହିଁ, ସେଥିରେ ପୀଲାତ ଚମତ୍କୃତ ହେଲେ। 6ମାତ୍ର ପର୍ବ ସମୟରେ ଲୋକମାନେ ଯେଉଁ ବନ୍ଦୀକୁ ମାଗୁଥିଲେ, ତାହାକୁ ସେ ସେମାନଙ୍କ ନିମନ୍ତେ ମୁକ୍ତ କରୁଥିଲେ। 7ଯେଉଁ ବିପ୍ଳବୀମାନେ ବିପ୍ଳବ ସମୟରେ ନରହତ୍ୟା କରିଥିଲେ, ସେମାନଙ୍କ ସହିତ ବାରବ୍ବା ନାମକ ଜଣେ ଲୋକ ବନ୍ଦୀ ଥିଲା। 8ତେଣୁ ଲୋକସମୂହ ଉପରକୁ ଯାଇ ତାହାଙ୍କୁ ଆପଣା ରୀତି ଅନୁସାରେ କରିବା ନିମନ୍ତେ ଅନୁରୋଧ କରିବାକୁ ଲାଗିଲେ। 9ସେଥିରେ ପୀଲାତ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ କଅଣ ଇଚ୍ଛା କରୁଅଛ? ଆମ୍ଭେ କଅଣ ତୁମ୍ଭମାନଙ୍କ ନିମନ୍ତେ ଯିହୁଦୀମାନଙ୍କ ରାଜାଙ୍କୁ ମୁକ୍ତ କରିଦେବା? 10କାରଣ ପ୍ରଧାନ ଯାଜକମାନେ ଯେ ଈର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ବୁଝିଲେ। 11ମାତ୍ର ସେ ଯେପରି ସେମାନଙ୍କ ନିମନ୍ତେ ବରଂ ବାରବ୍ବାକୁ ମୁକ୍ତ କରନ୍ତି, ସେଥିପାଇଁ ପ୍ରଧାନ ଯାଜକମାନେ ଲୋକସମୂହକୁ ମତାଇଲେ। 12କିନ୍ତୁ ପୀଲାତ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ତେବେ ଯାହାକୁ ତୁମ୍ଭେମାନେ ଯିହୁଦୀମାନଙ୍କର ରାଜା ବୋଲି କହୁଅଛ, ତାହା ପ୍ରତି ଆମ୍ଭେ କଅଣ କରିବା? 13ଲୋକସମୂହ ପୁଣି, ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ। 14ସେଥିରେ ପୀଲାତ ସେମାନଙ୍କୁ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ। 15ଏଣୁ ପୀଲାତ ଲୋକସମୂହକୁ ସନ୍ତୁଷ୍ଟ କରିବାକୁ ଇଚ୍ଛା କରି ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ପୁଣି, ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ। 16ସେଥିରେ ସୈନ୍ୟମାନେ ତାହାଙ୍କୁ ପ୍ରାଙ୍ଗଣ, ଅର୍ଥାତ୍‍ ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ଡାକି ଏକତ୍ର କଲେ। 17ସେମାନେ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ ଓ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ; 18ଆଉ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କର ବନ୍ଦନା କରିବାକୁ ଲାଗିଲେ। 19ପୁଣି, ସେମାନେ ଗୋଟିଏ ନଳ ଘେନି ତାହାଙ୍କ ମୁଣ୍ଡରେ ଆଘାତ କଲେ, ଆଉ ଆଣ୍ଠୁ ମାଡ଼ି ପ୍ରଣାମ କରିବାକୁ ଲାଗିଲେ। 20ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ। ପୁଣି, ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇବା ନିମନ୍ତେ ବାହାରକୁ ଘେନିଗଲେ। 21ସେତେବେଳେ ଆଲେକ୍‌ଜାଣ୍ଡର ଓ ରୂଫଙ୍କ ପିତା ଶିମୋନ ନାମକ ଜଣେ କୂରୀଣୀୟ ଲୋକ ପଲ୍ଲୀଗ୍ରାମରୁ ଆସି ସେହି ବାଟ ଦେଇ ଯାଉଥିଲେ; ସେମାନେ ତାହାଙ୍କୁ ତାହାଙ୍କର କ୍ରୁଶ ବୋହିବା ପାଇଁ ବାଧ୍ୟ କଲେ। 22ଆଉ ସେମାନେ ତାହାଙ୍କୁ ଗଲ୍‌ଗଥା, ଅର୍ଥାତ୍‍ କପାଳସ୍ଥଳ ନାମକ ସ୍ଥାନକୁ ଆଣିଲେ। 23ପୁଣି, ସେମାନେ ତାହାଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ପିଇବାକୁ ଦେଲେ, କିନ୍ତୁ ସେ ତାହା ଗ୍ରହଣ କଲେ ନାହିଁ। 24ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, କିଏ କଅଣ ପାଇବ, ତାହା ଗୁଲିବାଣ୍ଟ ଦ୍ୱାରା ସ୍ଥିର କରି ତାହାଙ୍କ ବସ୍ତ୍ରସବୁ ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ। 25ଦିନ ନଅ ଘଣ୍ଟା ସମୟରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ। 26ଆଉ ତାହାଙ୍କ ଅଭିଯୋଗ ଲିପିରେ ଏହା ଲେଖା ଥିଲା, ଯିହୁଦୀମାନଙ୍କର ରାଜା। 27ପୁଣି, ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତମାନଙ୍କୁ ସେମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଇଦେଲେ। 28ସେଥିରେ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ। 29ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ, ବାଃ! ରେ ମନ୍ଦିର-ଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ, 30କ୍ରୁଶରୁ ଓହ୍ଲାଇ ଆପଣାକୁ ରକ୍ଷା କର। 31ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀମାନଙ୍କ ସହିତ ପରସ୍ପର ମଧ୍ୟରେ ତାହାଙ୍କୁ ପରିହାସ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରିପାରୁ ନାହିଁ। 32ଇସ୍ରାଏଲର ରାଜା ଖ୍ରୀଷ୍ଟ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସନ୍ତୁ, ଯେପରି ଆମ୍ଭେମାନେ ତାହା ଦେଖି ବିଶ୍ୱାସ କରିବା। ପୁଣି, ଯେଉଁମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ନିନ୍ଦା କରିବାକୁ ଲାଗିଲେ। 33ଦିନ ବାର ଘଣ୍ଟା ସମୟରେ ଦେଶଯାକ ଅନ୍ଧକାର ଘୋଟିଯାଇ ଦିନ ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା। 34ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ଏଲୀ, ଏଲୀ, ଲାମା ଶବକ୍‌ଥାନୀ?” ଅର୍ଥାତ୍‍ “ହେ ମୋହର ଈଶ୍ବର, ହେ ମୋହର ଈଶ୍ବର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କଲ?” 35ଏହା ଶୁଣି ପାଖରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଦେଖ, ସେ ଏଲୀୟଙ୍କୁ ଡାକୁଅଛି। 36ପୁଣି, ଜଣେ ଦୌଡ଼ିଯାଇ ଗୋଟିଏ ଏଜୋବ ଅମ୍ଳରସରେ ପୂର୍ଣ୍ଣ କରି ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଇ କହିଲା, ରୁହ, ଏଲୀୟ ଏହାକୁ ଓହ୍ଲାଇବାକୁ ଆସୁଅଛନ୍ତି କି ନାହିଁ ଦେଖିବା। 37କିନ୍ତୁ ଯୀଶୁ ଉଚ୍ଚସ୍ୱର କରି ପ୍ରାଣତ୍ୟାଗ କଲେ। 38ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା। 39ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତ-ସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ବରଙ୍କ ପୁତ୍ର ଥିଲେ। 40କେତେକ ସ୍ତ୍ରୀଲୋକ ମଧ୍ୟ ଦୂରରୁ ଦେଖୁଥିଲେ; ସେମାନଙ୍କ ମଧ୍ୟରେ ମଗ୍‌ଦଲୀନୀ ମରୀୟମ, ସାନ ଯାକୁବ ଓ ଯୋସିଙ୍କ ମାତା ମରୀୟମ, ପୁଣି, ଶଲୋମୀ ଥିଲେ; 41ସେ ଗାଲିଲୀରେ ଥିବା ସମୟରେ ସେମାନେ ତାହାଙ୍କ ପଶ୍ଚାତ୍‌ଗମନ କରି ତାହାଙ୍କର ସେବା କରୁଥିଲେ; ତାହାଙ୍କ ସହିତ ଯିରୂଶାଲମ ସହରକୁ ଆସିଥିବା ଆହୁରି ଅନେକ ସ୍ତ୍ରୀଲୋକ ମଧ୍ୟ ଦେଖୁଥିଲେ। 42ବେଳ ଗଡ଼ିଆସନ୍ତେ ସେହି ଦିନ ଆୟୋଜନ ଦିନ, ଅର୍ଥାତ୍‍ ବିଶ୍ରାମବାରର ପୂର୍ବ ଦିନ ଥିବାରୁ, 43ହାରାମାଥୀୟାର ଯୋଷେଫ ନାମକ ମହାସଭାର ଜଣେ ସମ୍ଭ୍ରାନ୍ତ ସଭ୍ୟ, ଯେ ନିଜେ ମଧ୍ୟ ଈଶ୍ବରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ, ସେ ସାହସ ପୂର୍ବକ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ। 44କିନ୍ତୁ ସେ ଯେ ମରିଗଲେଣି, ଏହା ଶୁଣି ପୀଲାତ ଚମତ୍କୃତ ହେଲେ, ଆଉ ଶତ-ସେନାପତିଙ୍କୁ ନିକଟକୁ ଡକାଇ ତାହାଙ୍କୁ ପଚାରିଲେ, ସେ କଅଣ ବହୁତ ବେଳ ହେଲା ମଲେଣି? 45ଶତ-ସେନାପତିଙ୍କଠାରୁ ତାହା ଜ୍ଞାତ ହୋଇ ସେ ଶବଟି ଯୋଷେଫଙ୍କୁ ଦେଲେ। 46ସେ ଖଣ୍ଡିଏ ସୂକ୍ଷ୍ମ ବସ୍ତ୍ର କିଣି ତାହାଙ୍କୁ ଓହ୍ଲାଇ ଆଣି ସେଥିରେ ତାହାଙ୍କୁ ଗୁଡ଼ାଇଲେ ଓ ପାହାଡ଼ରେ ଖୋଳା ହୋଇଥିବା ଗୋଟିଏ ସମାଧିରେ ତାହାଙ୍କୁ ଥୋଇଦେଇ ସମାଧି ଦ୍ୱାରରେ ଖଣ୍ଡିଏ ପଥର ଗଡ଼ାଇଦେଲେ। 47ତାହାଙ୍କୁ କେଉଁ ସ୍ଥାନରେ ରଖାଗଲା, ତାହା ମଗ୍‌ଦଲୀନୀ ମରୀୟମ ଓ ଯୋସିଙ୍କ ମାତା ମରୀୟମ ଦେଖିଲେ।

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.