Indian Revised Version — Odia (2021)
ମାଥିଉ 22
1ପୁଣି ଥରେ ଯୀଶୁ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଉତ୍ତର ଦେଲେ, 2“ସ୍ୱର୍ଗରାଜ୍ୟ ଏପରି ଜଣେ ରାଜାଙ୍କ ସଦୃଶ, ଯେ ଆପଣା ପୁତ୍ରଙ୍କ ବିବାହ-ଉତ୍ସବ ଆୟୋଜନ କଲେ, 3ଆଉ ସେହି ଉତ୍ସବକୁ ନିମନ୍ତ୍ରିତ ଲୋକମାନଙ୍କୁ ଆହ୍ୱାନ କରିବା ପାଇଁ ସେ ଆପଣା ଦାସମାନଙ୍କୁ ପଠାଇଲେ, କିନ୍ତୁ ସେମାନେ ଆସିବାକୁ ଇଚ୍ଛା କଲେ ନାହିଁ। 4ପୁଣି, ଥରେ ସେ ଅନ୍ୟ ଦାସମାନଙ୍କୁ ପଠାଇ କହିଲେ, ‘ନିମନ୍ତ୍ରିତ ଲୋକମାନଙ୍କୁ କୁହ, ଦେଖନ୍ତୁ, ଆମ୍ଭେ ଆପଣା ଭୋଜ ପ୍ରସ୍ତୁତ କରିଅଛୁ, ଆମ୍ଭର ବୃଷ ଓ ହୃଷ୍ଟପୁଷ୍ଟ ପଶୁଗୁଡ଼ିକ ମରାଯାଇଅଛି, ସମସ୍ତ ହିଁ ପ୍ରସ୍ତୁତ, ଆପଣମାନେ ବିବାହ ଉତ୍ସବକୁ ଆସନ୍ତୁ,’ 5କିନ୍ତୁ ସେମାନେ ତାହା ଲଘୁ ଜ୍ଞାନ କରି କେହି ଆପଣା କ୍ଷେତକୁ, ଆଉ କେହି ଆପଣା ବାଣିଜ୍ୟ ବ୍ୟବସାୟକୁ ଚାଲିଗଲେ, 6ଆଉ ବଳକା ଲୋକ ତାହାଙ୍କ ଦାସମାନଙ୍କୁ ଧରି ଅତ୍ୟାଚାର ଓ ବଧ କଲେ। 7କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍ କଲେ। 8ସେଥିରେ ସେ ଆପଣା ଦାସମାନଙ୍କୁ କହିଲେ, ବିବାହ ଭୋଜ ତ ପ୍ରସ୍ତୁତ, ମାତ୍ର ନିମନ୍ତ୍ରିତ ଲୋକମାନେ ଅଯୋଗ୍ୟ। 9ଏଣୁ ତୁମ୍ଭେମାନେ ରାଜଦାଣ୍ଡଗୁଡ଼ିକର ଛକେ ଛକେ ଯାଇ ଯେତେ ଲୋକଙ୍କର ଦେଖା ପାଅ, ସେମାନଙ୍କୁ ବିବାହ-ଉତ୍ସବକୁ ନିମନ୍ତ୍ରଣ କର। 10ସେଥିରେ ସେହି ଦାସମାନେ ରାଜଦାଣ୍ଡଗୁଡ଼ିକୁ ବାହାରିଯାଇ ଦୁଷ୍ଟ ଓ ସନ୍ଥ ଯେତେ ଲୋକ ଦେଖାପାଇଲେ, ସେ ସମସ୍ତଙ୍କୁ ସଂଗ୍ରହ କରି ଆଣିଲେ, ଆଉ ନିମନ୍ତ୍ରିତ ଅତିଥି ଲୋକଙ୍କ ଦ୍ୱାରା ବିବାହଗୃହ ପରିପୂର୍ଣ୍ଣ ହେଲା। 11କିନ୍ତୁ ରାଜା ନିମନ୍ତ୍ରିତ ଅତିଥିମାନଙ୍କୁ ଦେଖିବା ପାଇଁ ଭିତରକୁ ଆସି ସେଠାରେ ବିବାହ-ବସ୍ତ୍ର ପରିଧାନ କରି ନ ଥିବା ଜଣେ ଲୋକକୁ ଦେଖି ତାହାକୁ କହିଲେ, 12ହେ ବନ୍ଧୁ, ତୁମ୍ଭେ ବିବାହ-ବସ୍ତ୍ର ପରିଧାନ ନ କରି କିପରି ଏ ସ୍ଥାନକୁ ଆସିଲ? ମାତ୍ର ସେ ନିରୁତ୍ତର ହୋଇ ରହିଲା। 13ସେଥିରେ ରାଜା ପରିଚାରକମାନଙ୍କୁ କହିଲେ, ‘ଏହାର ହାତଗୋଡ଼ ବାନ୍ଧି ଏହାକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ। 14କାରଣ ଅନେକ ଆହୂତ, କିନ୍ତୁ ଅଳ୍ପ ମନୋନୀତ।’” 15ସେତେବେଳେ ଫାରୂଶୀମାନେ ଯାଇ ତାହାଙ୍କୁ ବାକ୍ୟ ଦ୍ୱାରା ଫାନ୍ଦରେ ପକାଇବା ନିମନ୍ତେ ମନ୍ତ୍ରଣା କଲେ। 16ଆଉ, ସେମାନେ ହେରୋଦୀୟମାନଙ୍କ ସହିତ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିକଟକୁ କହି ପଠାଇଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଏବଂ ସତ୍ୟ ରୂପେ ଈଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି ପୁଣି, କାହାରିକୁ ଭୟ କରନ୍ତି ନାହିଁ, କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ। 17ଅତଏବ ଆମ୍ଭମାନଙ୍କୁ କୁହନ୍ତୁ, ଆପଣଙ୍କର ମତ କଅଣ? କାଇସର ସମ୍ରାଟଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ? 18କିନ୍ତୁ ଯୀଶୁ ସେମାନଙ୍କର ଦୁଷ୍ଟତା ଜାଣି କହିଲେ, “ରେ କପଟୀମାନେ, କାହିଁକି ମୋତେ ପରୀକ୍ଷା କରୁଅଛ?” 19“ସେହି କରର ମୁଦ୍ରା ମୋତେ ଦେଖାଅ।” ତହିଁରେ ସେମାନେ ତାହାଙ୍କ ପାଖକୁ ଗୋଟିଏ ମୁଦ୍ରା ଆଣିଲେ। 20ସେ ସେମାନଙ୍କୁ ପଚାରିଲେ, ଏହି ମୂର୍ତ୍ତି ଓ ନାମ କାହାର? 21ସେମାନେ କହିଲେ, କାଇସରଙ୍କର। ସେଥିରେ ସେ ସେମାନଙ୍କୁ କହିଲେ, “ତେବେ କାଇସର ସମ୍ରାଟଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ବରଙ୍କର ଯାହା, ତାହା ଈଶ୍ବରଙ୍କୁ ଦିଅ।” 22ସେମାନେ ଏହା ଶୁଣି ଚମତ୍କୃତ ହୋଇ ତାହାଙ୍କୁ ଛାଡ଼ି ଚାଲିଗଲେ। 23ପୁନରୁତ୍ଥାନ ନାସ୍ତି କରୁଥିବା ସାଦ୍ଦୂକୀମାନେ ସେହି ଦିନ ତାହାଙ୍କ ପାଖକୁ ଆସି ପଚାରିଲେ, 24ହେ ଗୁରୁ, ମୋଶା କହିଅଛନ୍ତି ଯେ, ଯଦି କେହି ନିଃସନ୍ତାନ ହୋଇ ମରେ, ତେବେ ତାହାର ଭାଇ ତାହାର ଭାର୍ଯ୍ୟାକୁ ବିବାହ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ। 25ଦେଖନ୍ତୁ, ଆମ୍ଭମାନଙ୍କ ମଧ୍ୟରେ ସାତ ଭାଇ ଥିଲେ; ପ୍ରଥମଟି ବିବାହ କରି ମରିଗଲା, ପୁଣି, ନିଃସନ୍ତାନ ଥିବାରୁ ଆପଣା ଭାଇ ପାଇଁ ନିଜ ଭାର୍ଯ୍ୟାକୁ ଛାଡ଼ିଗଲା; 26ଦ୍ୱିତୀୟ, ତୃତୀୟ ଆଦି ସପ୍ତମ ଜଣ ପର୍ଯ୍ୟନ୍ତ ମଧ୍ୟ ସେହି ପ୍ରକାର କଲେ। 27ସମସ୍ତଙ୍କ ଶେଷରେ ସ୍ତ୍ରୀଟି ମରିଗଲା। 28ତେବେ ପୁନରୁତ୍ଥାନରେ ସେହି ସାତ ଜଣଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସମସ୍ତେ ତ ତାହାକୁ ବିବାହ କରିଥିଲେ। 29ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଧର୍ମଶାସ୍ତ୍ର ପୁଣି, ଈଶ୍ବରଙ୍କ ଶକ୍ତି ମଧ୍ୟ ନ ଜାଣି ଭ୍ରାନ୍ତ ହେଉଅଛ। 30କାରଣ ପୁନରୁତ୍ଥାନରେ ଲୋକେ ବିବାହ କରନ୍ତି ନାହିଁ, କିମ୍ବା ବିବାହିତ ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି। 31ମାତ୍ର ମୃତମାନଙ୍କ ପୁନରୁତ୍ଥାନ ବିଷୟରେ ଈଶ୍ବର ତୁମ୍ଭମାନଙ୍କୁ ଯାହା କହିଅଛନ୍ତି, ତାହା କି ତୁମ୍ଭେମାନେ ପାଠ କରି ନାହଁ? 32‘ଆମ୍ଭେ ଅବ୍ରହାମଙ୍କ ଈଶ୍ବର, ଇସ୍ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର।’ ସେ ମୃତମାନଙ୍କ ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର।” 33ଲୋକମାନେ ଏହା ଶୁଣି ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ। 34ସେ ସାଦ୍ଦୂକୀମାନଙ୍କୁ ନିରୁତ୍ତର କରିଅଛନ୍ତି, ଏହା ଶୁଣି ଫାରୂଶୀମାନେ ଏକତ୍ର ହେଲେ, 35ଆଉ ସେମାନଙ୍କ ମଧ୍ୟରୁ ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ତାହାଙ୍କୁ ପରୀକ୍ଷା କରି ପଚାରିଲେ, 36ହେ ଗୁରୁ, ମୋଶାଙ୍କ ବ୍ୟବସ୍ଥା ମଧ୍ୟରେ କି ପ୍ରକାର ଆଜ୍ଞା ଶ୍ରେଷ୍ଠ? 37ସେ ତାହାଙ୍କୁ କହିଲେ, “‘ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ବରଙ୍କୁ ପ୍ରେମ କର।’ 38ଏହା ହିଁ ଶ୍ରେଷ୍ଠ ଓ ପ୍ରଥମ ଆଜ୍ଞା। 39ଦ୍ୱିତୀୟଟି ଏହାର ସଦୃଶ, ‘ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।’ 40ଏହି ଦୁଇ ଆଜ୍ଞା ଉପରେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କର ଧର୍ମଶାସ୍ତ୍ର ନିର୍ଭର କରେ।” 41ଫାରୂଶୀମାନେ ଏକତ୍ର ହୋଇଥିବା ସମୟରେ ଯୀଶୁ ସେମାନଙ୍କୁ ପଚାରିଲେ, 42“ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ମତ କଅଣ? ସେ କାହାର ସନ୍ତାନ? ସେମାନେ ତାହାଙ୍କୁ କହିଲେ, ଦାଉଦଙ୍କର।” 43ଯୀଶୁ ସେମାନଙ୍କୁ କହିଲେ, “ତେବେ ଦାଉଦ କିପ୍ରକାରେ ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ‘ପ୍ରଭୁ’ ବୋଲି କହନ୍ତି? 44‘ଯଥା, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’ 45ଅତଏବ, ଦାଉଦ ଯଦି ତାହାଙ୍କୁ ‘ପ୍ରଭୁ’ ବୋଲି କହନ୍ତି, ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ?” 46ସେଥିରେ କେହି ତାହାଙ୍କୁ ପଦେ ହେଲେ ଉତ୍ତର ଦେଇ ପାରିଲେ ନାହିଁ, ପୁଣି, ସେହି ଦିନଠାରୁ କେହି ତାହାଙ୍କୁ ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ।
This chapter is not in this version.
Keep going
In the life of Jesus 5 events in this chapter
- v1–14 192. Jesus tells the parable of the wedding feast Only in ମାଥିଉ
- v15–22 193. Religious leaders question Jesus about paying taxes Also in Mk 12:13-17 · Lk 20:20-26
- v23–33 194. Religious leaders question Jesus about the resurrection Also in Mk 12:18-27 · Lk 20:27-40
- v34–40 195. Religious leaders question Jesus about the greatest commandment Also in Mk 12:28-34
- v41–46 196. Religious leaders cannot answer Jesus' question Also in Mk 12:35-37 · Lk 20:41-44
Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..