Indian Revised Version — Odia (2021)
ହିତୋପଦେଶ 13
1ଜ୍ଞାନବାନ ପୁତ୍ର ଆପଣା ପିତାର ଉପଦେଶ ଶୁଣେ; ମାତ୍ର ନିନ୍ଦକ ଅନୁଯୋଗ ଶୁଣେ ନାହିଁ। 2ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳ ଭୋଗ କରେ; ମାତ୍ର ବିଶ୍ୱାସଘାତକର ପ୍ରାଣ ଦୌରାତ୍ମ୍ୟ ଭୋଗ କରେ। 3ଯେଉଁ ଲୋକ ଆପଣା ମୁଖରେ ପ୍ରହରୀ ରଖେ, ସେ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଯେକେହି ଚିନ୍ତା ନ କରି କଥା କହେ, ତାହାର ବିନାଶ ହେବ। 4ଅଳସୁଆ ମନରେ ବାଞ୍ଛା କଲେ ହେଁ କିଛି ପାଏ ନାହିଁ, ମାତ୍ର କର୍ମଶୀଳ ପ୍ରାଣ ହୃଷ୍ଟପୁଷ୍ଟ ହେବ। 5ଧାର୍ମିକ ଲୋକ ମିଥ୍ୟାକୁ ଘୃଣା କରେ; ମାତ୍ର ଦୁଷ୍ଟ ଲୋକ ଦୁର୍ଗନ୍ଧ ସ୍ୱରୂପ, ଆଉ ସେ ଲଜ୍ଜା ଭୋଗ କରେ। 6ଧାର୍ମିକତା ସରଳ-ପଥଗାମୀକୁ ରକ୍ଷା କରେ; ମାତ୍ର ଦୁଷ୍ଟତା ପାପୀକୁ ଓଲଟାଇ ପକାଏ। 7କେହି ଆପଣାକୁ ଧନୀ ଦେଖାଏ, କିନ୍ତୁ ତାହାର କିଛି ହିଁ ନାହିଁ; କେହି ବା ଆପଣାକୁ ଦରିଦ୍ର ଦେଖାଏ, କିନ୍ତୁ ତାହାର ମହାଧନ ଅଛି। 8ମନୁଷ୍ୟର ଧନ ତାହାର ପ୍ରାଣର ପ୍ରାୟଶ୍ଚିତ୍ତ ସ୍ୱରୂପ; ମାତ୍ର ଦରିଦ୍ର ଲୋକ ଧମକ ଶୁଣେ ନାହିଁ। 9ଧାର୍ମିକର ଦୀପ୍ତି ଆନନ୍ଦ କରେ; ମାତ୍ର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ। 10ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ; ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି। 11ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ, ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ। 12ଆଶାସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ; ମାତ୍ର ବାଞ୍ଛାର ସିଦ୍ଧି ଜୀବନ-ବୃକ୍ଷ ସ୍ୱରୂପ। 13ଯେଉଁ ଲୋକ ଉପଦେଶ ତୁଚ୍ଛ କରେ, ସେ ଆପଣା ଉପରକୁ ବିନାଶ ଆଣେ; ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ। 14ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ ଜ୍ଞାନବାନର ବ୍ୟବସ୍ଥା ଜୀବନ-ଝର ସ୍ୱରୂପ ଅଟେ। 15ସୁବୁଦ୍ଧିର ଫଳ ଅନୁଗ୍ରହ, ମାତ୍ର ବିଶ୍ୱାସଘାତକର ପଥ କଠିନ ଅଟେ। 16ପ୍ରତ୍ୟେକ ଚତୁର ଲୋକ ବୁଦ୍ଧିରେ କର୍ମ କରେ; ମାତ୍ର ମୂର୍ଖ ଅଜ୍ଞାନତା ବିସ୍ତାର କରେ। 17ଦୁଷ୍ଟ ବାର୍ତ୍ତାବାହକ ଆପଦରେ ପଡ଼େ; ମାତ୍ର ବିଶ୍ୱସ୍ତ ଦୂତ ସ୍ୱାସ୍ଥ୍ୟଜନକ। 18ଯେଉଁ ଜନ ଶାସନ ଅଗ୍ରାହ୍ୟ କରେ, ସେ ଦରିଦ୍ରତା ଓ ଲଜ୍ଜା ପାଏ; ମାତ୍ର ଯେ ଅନୁଯୋଗ ଘେନେ, ସେ ମର୍ଯ୍ୟାଦା ପାଇବ। 19ବାଞ୍ଛାସିଦ୍ଧି ପ୍ରାଣକୁ ମିଷ୍ଟ ଲାଗେ; ପୁଣି, ମନ୍ଦ ତ୍ୟାଗ କରିବାର ମୂର୍ଖ ଲୋକର ଘୃଣା ବିଷୟ। 20ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ। 21ପାପୀମାନଙ୍କ ପଛେ ମନ୍ଦ ଗୋଡ଼ାଏ; ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହେବ। 22ଉତ୍ତମ ଲୋକ ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ; ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ। 23ଦରିଦ୍ରର ଚାଷ ଦ୍ୱାରା ଖାଦ୍ୟର ବାହୁଲ୍ୟ ହୁଏ; ମାତ୍ର ଅନ୍ୟାୟ ସକାଶୁ କାହାର କାହାର ବିନାଶ ହୁଏ। 24ଯେ ବାଡ଼ି ବ୍ୟବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ; ପୁଣି ଯେ ତାହାକୁ ପ୍ରେମ କରେ, ସେ ଯଥାକାଳରେ ଶାସ୍ତି ଦିଏ। 25ଧାର୍ମିକ ଆପଣା ପ୍ରାଣର ତୃପ୍ତି ପର୍ଯ୍ୟନ୍ତ ଖାଏ, ମାତ୍ର ପାପୀର ଉଦର ଅତୃପ୍ତ ଥାଏ।
This chapter is not in this version.
Keep going
Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..