Skip to content

Indian Revised Version — Odia (2021)

ଗୀତସଂହିତା 58

1ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍‍-ତଶ୍‍ହେତ୍‍ ସ୍ୱରରେ ଦାଉଦଙ୍କର ଗୀତ; ମିକ୍ତାମ୍‍। ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ? ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ? 2ବରଞ୍ଚ ତୁମ୍ଭେମାନେ ହୃଦୟରେ ଦୁଷ୍ଟତା ସାଧନ କରୁଅଛ; ତୁମ୍ଭେମାନେ ଦେଶରେ ସ୍ୱହସ୍ତର ଦୌରାତ୍ମ୍ୟ ତୌଲୁଅଛ। 3ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ; ସେମାନେ ଜନ୍ମଠାରୁ ମିଥ୍ୟା କହି କହି ବିପଥରେ ଗମନ କରନ୍ତି। 4ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ; 5ସାପୁଡ଼ିଆମାନେ ଯେତେ ନିପୁଣ ଭାବରେ ମନ୍ତ୍ର ପଢ଼ିଲେ ହେଁ, ସେ ସେମାନଙ୍କ ସ୍ୱର ଶୁଣେ ନାହିଁ। 6ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ ଦନ୍ତ ଭାଙ୍ଗି ପକାଅ; ହେ ସଦାପ୍ରଭୋ, ଯୁବା ସିଂହମାନଙ୍କର କଳଦନ୍ତ ଭାଙ୍ଗି ପକାଅ। 7ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ; ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ। 8ଯେଉଁ ଶାମୁକା ଯାଉ ଯାଉ ତରଳି ଯାଏ ଓ ସ୍ତ୍ରୀର ଯେଉଁ ଅକାଳଜାତ ସନ୍ତାନ ସୂର୍ଯ୍ୟ ଦେଖି ନାହିଁ, ତାହାରି ପରି ସେମାନେ ହେଉନ୍ତୁ। 9ତୁମ୍ଭମାନଙ୍କ ହାଣ୍ଡି କଣ୍ଟକ ସ୍ପର୍ଶ ନ କରିବା ପୂର୍ବରୁ ସେ କଞ୍ଚା ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ। 10ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ। 11ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ୱର ଅଛନ୍ତି।

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.