Skip to content

Indian Revised Version — Odia (2021)

ଗୀତସଂହିତା 59

1ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍‍-ତଶ୍‍ହେତ୍‍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍‍; ଶାଉଲ ଲୋକ ପଠାନ୍ତେ, ସେମାନେ ଦାଉଦଙ୍କୁ ବଧ କରିବା ପାଇଁ ତାଙ୍କର ଗୃହ ଜଗି ବସିବା ସମୟରେ ରଚିତ। ହେ ମୋହର ପରମେଶ୍ୱର, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କଠାରୁ ମୋତେ ଉଚ୍ଚରେ ସ୍ଥାପନ କର। 2ଅଧର୍ମାଚାରୀମାନଙ୍କଠାରୁ ମୋତେ ଉଦ୍ଧାର କର, ରକ୍ତପିପାସୁ ଲୋକମାନଙ୍କଠାରୁ ମୋତେ ରକ୍ଷା କର। 3କାରଣ ଦେଖ, ସେମାନେ ମୋʼ ପ୍ରାଣ ପାଇଁ ଛକି ବସନ୍ତି; ବଳବାନମାନେ ମୋʼ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି; ହେ ସଦାପ୍ରଭୋ, ମୋହର ଅପରାଧ କିଅବା ମୋʼ ପାପ ସକାଶୁ ନୁହେଁ। 4ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ ହୁଅନ୍ତି; ତୁମ୍ଭେ ମୋହର ସାହାଯ୍ୟ ପାଇଁ ଜାଗ ଓ ଦୃଷ୍ଟିପାତ କର। 5ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ। ସେଲା 6ସେମାନେ ସନ୍ଧ୍ୟାକାଳେ ଫେରିଆସି କୁକ୍କୁର ପରି ଶବ୍ଦ କରନ୍ତି ଓ ନଗର ଚାରିଆଡ଼େ ଭ୍ରମଣ କରନ୍ତି। 7ଦେଖ, ସେମାନେ ଆପଣା ଆପଣା ମୁଖରୁ ଉଦ୍ଗାର କରନ୍ତି; ସେମାନଙ୍କ ଓଷ୍ଠାଧରରେ ଖଡ୍ଗ ଥାଏ; କାରଣ ସେମାନେ କହନ୍ତି, “କିଏ ଆମ୍ଭମାନଙ୍କୁ ଶୁଣିବ?” 8ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କ ପ୍ରତି ହସିବ; ତୁମ୍ଭେ ଅନ୍ୟ ଦେଶୀୟ ସମସ୍ତଙ୍କୁ ବିଦ୍ରୂପ କରିବ। 9ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭର ଅନୁସରଣ କରିବି; କାରଣ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ ଅଟନ୍ତି। 10ମୋହର ଦୟାବାନ ପରମେଶ୍ୱର ମୋହର ସମ୍ମୁଖବର୍ତ୍ତୀ ହେବେ; ପରମେଶ୍ୱର ମୋʼ ଶତ୍ରୁମାନଙ୍କ ଉପରେ ମୋʼ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ। 11ସେମାନଙ୍କୁ ବଧ କର ନାହିଁ, କେଜାଣି ମୋʼ ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପ୍ରଭୋ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର। 12ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି, ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ। 13ଯେପରି ସେମାନେ ଆଉ ନ ଥିବେ, ଏଥିପାଇଁ ସେମାନଙ୍କୁ କୋପରେ ସଂହାର କର, ସେମାନଙ୍କୁ ସଂହାର କର; ପୁଣି, ପରମେଶ୍ୱର ଯେ ଯାକୁବ ମଧ୍ୟରେ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରନ୍ତି, ଏହା ସେମାନେ ଜ୍ଞାତ ହେଉନ୍ତୁ। ସେଲା 14ଆଉ, ସେମାନେ ସନ୍ଧ୍ୟା ବେଳେ ଫେରିଆସି କୁକ୍କୁର ପରି ଶବ୍ଦ କରନ୍ତୁ ଓ ନଗର ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତୁ। 15ସେମାନେ ଖାଦ୍ୟ ନିମନ୍ତେ ଏଣେତେଣେ ଭ୍ରମଣ କରିବେ। ପୁଣି, ସେମାନେ ତୃପ୍ତ ନୋହିଲେ ସାରାରାତ୍ରି ରହିବେ। 16ମାତ୍ର ମୁଁ ତୁମ୍ଭ ପରାକ୍ରମ ବିଷୟ ଗାନ କରିବି ଓ ପ୍ରଭାତରେ ତୁମ୍ଭ ଦୟା ବିଷୟ ଉଚ୍ଚସ୍ୱରରେ ଗାନ କରିବି; କାରଣ ତୁମ୍ଭେ ମୋହର ଉଚ୍ଚ ଦୁର୍ଗ ଓ ବିପଦ ଦିନରେ ଆଶ୍ରୟ ସ୍ୱରୂପ ହୋଇଅଛ। 17ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି; ଯେଣୁ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ, ମୋହର ଦୟାବାନ ପରମେଶ୍ୱର।

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.