Skip to content

Indian Revised Version — Odia (2021)

ଗୀତସଂହିତା 88

1ଗୀତ; କୋରହ-ସନ୍ତାନଗଣର ଗୀତ। ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍‍ ଲୀୟନ୍ନୋତ୍‍ ସ୍ୱରରେ ଇଷ୍ରାହୀୟ ହେମନର ମସ୍କୀଲ୍‍। ସଦାପ୍ରଭୋ, ମୋʼ ପରିତ୍ରାଣର ପରମେଶ୍ୱର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୂକ୍ତି କରିଅଛି; 2ମୋʼ ପ୍ରାର୍ଥନା ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ମୋʼ କାକୂକ୍ତିରେ କର୍ଣ୍ଣପାତ କର; 3କାରଣ ମୋʼ ପ୍ରାଣ ଦୁଃଖରେ ପରିପୂର୍ଣ୍ଣ ଓ ମୋʼ ଜୀବନ ପାତାଳର ନିକଟବର୍ତ୍ତୀ ହେଉଅଛି। 4ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ସଙ୍ଗେ ଗଣିତ; ମୁଁ ଅସହାୟ ଲୋକର ସମାନ। 5ଯେଉଁ କବରଶାୟୀ ହତ ଲୋକମାନଙ୍କୁ ତୁମ୍ଭେ ଆଉ ସ୍ମରଣ କରୁ ନାହଁ ଓ ଯେଉଁମାନେ ତୁମ୍ଭ ହସ୍ତରୁ ବିଚ୍ଛିନ୍ନ ହୋଇଅଛନ୍ତି, ସେହି ମୃତ ଲୋକମାନଙ୍କ ମଧ୍ୟରେ ମୁଁ ତ୍ୟକ୍ତ ହୋଇଅଛି। 6ତୁମ୍ଭେ ମୋତେ ନୀଚତମ ଗତ୍ତର୍ରେ, ଅନ୍ଧକାରରେ, ଗଭୀର ସ୍ଥାନରେ ରଖିଅଛ। 7ତୁମ୍ଭର କୋପ ମୋʼ ଉପରେ ପ୍ରବଳ ହୋଇ ରହୁଅଛି ଓ ତୁମ୍ଭେ ଆପଣାର ସମସ୍ତ ତରଙ୍ଗରେ ମୋତେ କ୍ଳେଶ ଦେଇଅଛ। ସେଲା 8ତୁମ୍ଭେ ମୋହର ପରିଚିତ ଲୋକମାନଙ୍କୁ ମୋʼ ଠାରୁ ଦୂରରେ ରଖିଅଛ; ତୁମ୍ଭେ ସେମାନଙ୍କ ନିକଟରେ ମୋତେ ଘୃଣାର ବିଷୟ କରିଅଛ। ମୁଁ ଅବରୁଦ୍ଧ ହୋଇଅଛି ଓ ମୁଁ ବାହାରକୁ ଆସି ପାରୁ ନାହିଁ। 9କ୍ଳେଶ ସକାଶୁ ମୋʼ ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୋ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି, ମୁଁ ତୁମ୍ଭଆଡ଼େ ଆପଣା ହସ୍ତ ପ୍ରସାରିଅଛି। 10ତୁମ୍ଭେ କି ମୃତ ଲୋକମାନଙ୍କୁ ଆଶ୍ଚର୍ଯ୍ୟକ୍ରିୟା ଦେଖାଇବ? ଯେଉଁମାନେ ମରିଯାଇଅଛନ୍ତି, ସେମାନେ ଉଠି କି ତୁମ୍ଭର ପ୍ରଶଂସା କରିବେ? ସେଲା 11କବରରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିଅବା ବିନାଶ ସ୍ଥାନରେ ତୁମ୍ଭର ବିଶ୍ୱସ୍ତତା କି ପ୍ରଚାରିତ ହେବ? 12ଅନ୍ଧକାରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟା ଓ ବିସ୍ମୃତି ଦେଶରେ ତୁମ୍ଭର ଧର୍ମ କି ଜଣାଯିବ? 13ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରିଅଛି ଓ ପ୍ରଭାତରେ ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ ଉପସ୍ଥିତ ହେବ। 14ହେ ସଦାପ୍ରଭୋ, ତୁମ୍ଭେ କାହିଁକି ମୋʼ ପ୍ରାଣକୁ ପରିତ୍ୟାଗ କରୁଅଛ? ତୁମ୍ଭେ କାହିଁକି ମୋʼ ଠାରୁ ଆପଣା ମୁଖ ଲୁଚାଉଅଛ? 15ମୁଁ ବାଲ୍ୟକାଳଠାରୁ ଦୁଃଖଗ୍ରସ୍ତ ଓ ମୃତକଳ୍ପ; ମୁଁ ତୁମ୍ଭ ତ୍ରାସ ଭୋଗ କରି କରି ଉନ୍ମନା ହୋଇଅଛି। 16ତୁମ୍ଭ ପ୍ରଚଣ୍ଡ କୋପ ମୋʼ ଉପର ଦେଇ ଯାଇଅଛି; ତୁମ୍ଭର ତ୍ରାସସବୁ ମୋତେ ଉଚ୍ଛିନ୍ନ କରିଅଛି। 17ତାହାସବୁ ସାରାଦିନ ଜଳ ପରି ମୋʼ ଚାରିଆଡ଼େ ଉପସ୍ଥିତ; ତାହାସବୁ ଏକତ୍ର ମୋʼ ଚାରିଆଡ଼େ ବେଷ୍ଟନ କଲେ। 18ତୁମ୍ଭେ ସ୍ନେହୀକୁ ଓ ମିତ୍ରକୁ ମୋʼ ଠାରୁ ଦୂରରେ ଓ ମୋʼ ପରିଚିତ ଲୋକଙ୍କୁ ଅନ୍ଧକାରରେ ରଖିଅଛ।

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.