Skip to content

Indian Revised Version — Odia (2021)

ପ୍ରକାଶିତ 21

1ପରେ “ଏକ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ” ଦେଖିଲି, କାରଣ ପ୍ରଥମ ଆକାଶମଣ୍ଡଳ ଓ ପ୍ରଥମ ପୃଥିବୀ ଲୋପ ପାଇଥିଲା, ପୁଣି, ସମୁଦ୍ର ଆଉ ନ ଥିଲା। 2ପୁଣି, ମୁଁ ପବିତ୍ର ନଗରୀ, ଅର୍ଥାତ୍‍ ନୂତନ ଯିରୂଶାଲମ ସହରକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତ ହୋଇ ସ୍ୱର୍ଗରୁ ଈଶ୍ବରଙ୍କ ନିକଟରୁ ଅବତରଣ କରିବାର ଦେଖିଲି। 3ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ବରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ, 4ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି। 5ପରେ ସିଂହାସନ ଉପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ। ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ। 6ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି। ଆମ୍ଭେ ଆଲଫା ଏବଂ ଓମେଗା, ଆରମ୍ଭ ଓ ଶେଷ। ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୂଲ୍ୟରେ ପାନ କରିବାକୁ ଦେବୁ। 7ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ବର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ। 8କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ। 9ତତ୍ପରେ ଯେଉଁ ସପ୍ତ ଦୂତ ଶେଷ ସପ୍ତ କ୍ଲେଶରେ ପରିପୂର୍ଣ୍ଣ ସପ୍ତ ପାତ୍ର ଧରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ମୁଁ ତୁମ୍ଭକୁ ସେହି କନ୍ୟା, ଅର୍ଥାତ୍‍ ମେଷଶାବକଙ୍କ ଭାର୍ଯ୍ୟାକୁ ଦେଖାଇବି। 10ସେଥିରେ ସେ ମୋତେ ଆତ୍ମାରେ ଗୋଟିଏ ବୃହତ୍ ଓ ଉଚ୍ଚ ପର୍ବତକୁ ଘେନିଯାଇ ପବିତ୍ର ନଗରୀ ଯିରୂଶାଲମ ସହରକୁ ଦେଖାଇଲେ, ତାହା ସ୍ୱର୍ଗରୁ ଈଶ୍ବରଙ୍କ ନିକଟରୁ ଅବତରଣ କରୁଥିଲା ଏବଂ ଈଶ୍ବରଙ୍କ ଗୌରବ ବିଶିଷ୍ଟ ଥିଲା; 11ତାହାର ଜ୍ୟୋତିଃ ଅତି ବହୁମୂଲ୍ୟ ମଣି ସଦୃଶ, ସ୍ୱଚ୍ଛ ସୂର୍ଯ୍ୟକାନ୍ତ ପରି। 12ତାହାର ଗୋଟିଏ ବୃହତ୍ ଓ ଉଚ୍ଚ ପ୍ରାଚୀର ଅଛି, ସେଥିର ଦ୍ୱାଦଶ ଦ୍ୱାର, ସେହି ଦ୍ୱାରରେ ଦ୍ୱାଦଶ ଦୂତ ଓ ଦ୍ୱାରସମୂହର ଉପରେ ଇସ୍ରାଏଲ ସନ୍ତାନମାନଙ୍କର ଦ୍ୱାଦଶ ବଂଶର ନାମ ଲିଖିତ ଅଛି। 13ପୂର୍ବରେ ତିନି ଦ୍ୱାର, ଉତ୍ତରରେ ତିନି ଦ୍ୱାର, ଦକ୍ଷିଣରେ ତିନି ଦ୍ୱାର ଓ ପଶ୍ଚିମରେ ତିନି ଦ୍ୱାର। 14ସେହି ନଗରୀର ପ୍ରାଚୀରର ଦ୍ୱାଦଶ ଭିତ୍ତିମୂଳ ଥିଲା, ସେହିସବୁ ଉପରେ ମେଷଶାବକଙ୍କ ଦ୍ୱାଦଶ ପ୍ରେରିତଙ୍କ ଦ୍ୱାଦଶ ନାମ ଲିଖିତ ଅଛି। 15ଯେ ମୋ ସହିତ କଥା କହୁଥିଲେ, ତାହାଙ୍କ ହସ୍ତରେ ନଗରୀ, ତାହାର ଦ୍ୱାରସମୂହ ଓ ପ୍ରାଚୀର ମାପ କରିବା ନିମନ୍ତେ ଗୋଟିଏ ସୁବର୍ଣ୍ଣ ପରିମାପକ ନଳ ଥିଲା। 16ନଗରୀଟି ଚାରିକୋଣିଆ, ତାହାର ଦୈର୍ଘ୍ୟ ଓ ପ୍ରସ୍ଥ ସମାନ; ସେ ସେହି ନଳରେ ନଗରୀକୁ ମାପନ୍ତେ ବାର ହଜାର ତୀର ହେଲା; ସେଥିର ଦୈର୍ଘ୍ୟ, ପ୍ରସ୍ଥ ଓ ଉଚ୍ଚତା। 17ପରେ ସେ ସେଥିର ପ୍ରାଚୀର ମାପନ୍ତେ ତାହା ମନୁଷ୍ୟର ପରିମାଣ ଅନୁସାରେ ଏକ ଶହ ଚୌରାଳିଶ ହାତ ହେଲା, ଦୂତ ହିଁ ଏହି ପରିମାଣ ଅନୁସାରେ ମାପୁଥିଲେ। 18ସେହି ପ୍ରାଚୀର ସୂର୍ଯ୍ୟକାନ୍ତ ମଣି ନିର୍ମିତ, ପୁଣି, ନଗରୀଟି ନିର୍ମଳ କାଚ ପରି ଶୁଦ୍ଧ ସୁବର୍ଣ୍ଣ ନିର୍ମିତ। 19ନଗରୀର ପ୍ରାଚୀରର ଭିତ୍ତିମୂଳ ସମସ୍ତ ପ୍ରକାର ବହୁମୂଲ୍ୟ ମଣିରେ ଭୂଷିତ। ପ୍ରଥମ ଭିତ୍ତିମୂଳ ହୀରକର, ଦ୍ୱିତୀୟ ନୀଳକାନ୍ତ ମଣିର, ତୃତୀୟ ବୈଦୁର୍ଯ୍ୟ ମଣିର, ଚତୁର୍ଥ ମରକତ ମଣିର, 20ପଞ୍ଚମ ପୁଲକ ମଣିର, ଷଷ୍ଠ ମାଣିକ୍ୟ ମଣିର, ସପ୍ତମ ପୁଷ୍ପରାଗ ମଣିର, ଅଷ୍ଟମ ଫିରୋଜ୍ ମଣିର, ନବମ ଗୋମେଦକ ମଣିର, ଦଶମ ଲଶୁନୀୟ ମଣିର, ଏକାଦଶ ଇନ୍ଦ୍ରନୀଳ ମଣିର ଓ ଦ୍ୱାଦଶ ସୁଗନ୍ଧ ମଣିର। 21ଦ୍ୱାଦଶ ଦ୍ୱାର ଦ୍ୱାଦଶ ମୁକ୍ତା, ପ୍ରତ୍ୟେକ ଦ୍ୱାର ଗୋଟିଏ ଗୋଟିଏ ମୁକ୍ତାରେ ନିର୍ମିତ; ଆଉ ନଗରୀର ପଥ ସ୍ୱଚ୍ଛ କାଚ ସଦୃଶ ଶୁଦ୍ଧ ସୁବର୍ଣ୍ଣ ନିର୍ମିତ। 22ମୁଁ ସେହି ନଗରୀରେ କୌଣସି ମନ୍ଦିର ଦେଖିଲି ନାହିଁ, କାରଣ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର ଓ ମେଷଶାବକ ସେଥିର ମନ୍ଦିର ସ୍ୱରୂପ ଅଟନ୍ତି। 23ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ବରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ। 24ସେଥିର ଆଲୋକରେ ଜାତିସମୂହ ଗମନାଗମନ କରିବେ, ପୁଣି, ପୃଥିବୀର ରାଜାମାନେ ଆପଣା ଆପଣା ଐଶ୍ୱର୍ଯ୍ୟ ତାହା ମଧ୍ୟକୁ ଆଣିବେ। 25ସେଥିର ଦ୍ୱାରସମୂହ ଦିନବେଳେ କଦାପି ରୁଦ୍ଧ ହେବ ନାହିଁ, କାରଣ ସେ ସ୍ଥାନରେ ରାତ୍ରି ହେବ ନାହିଁ। 26ଲୋକେ ଜାତିସମୂହର ଐଶ୍ୱର୍ଯ୍ୟ ଓ ମହିମା ତାହା ମଧ୍ୟକୁ ଆଣିବେ। 27କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବକଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ।

Keep going

Indian Revised Version — Odia (2021). Indian Revised Version (Odia), Bridge Connectivity Solutions, CC BY-SA 4.0, via eBible.org. Inline cross-reference notes removed..

Books

✦ Explain this verse with AI AI explanations, Bible Q&A, characters, maps and more — in the Truth of Bible app →

Reading settings

Theme
Text size
100%
Layout

Loading the Bibles…

Your choice is remembered on this device and used for reading, search and the verse screen.